Indus Valley Times

ଆଜି ହେଉଛି କୁମାର ପୂର୍ଣ୍ଣମୀ, ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା; ଚାନ୍ଦି ମେଢରେ ଝଲସିବେ ମା’

 Breaking News

ଆଜି ହେଉଛି କୁମାର ପୂର୍ଣ୍ଣମୀ, ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା; ଚାନ୍ଦି ମେଢରେ ଝଲସିବେ ମା’

October 28
11:41 2023

ଭୁବନେଶ୍ୱର,୨୮/୧୦: “କୁଆଁର ପୁନେଇ ଜହ୍ନଲୋ ଫୁଲ ବଉଳ ବେଣୀ” । କୁଆଁରୀ ଝିଅଙ୍କ ଅପୂର୍ବ ଆନନ୍ଦ ପୁଚି ଖେଳିବାକୁ ମନଗୋ ଫୁଲ ବଉଳବେଣୀ”। କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ନାମରେ ମଧ୍ୟ ଜଣାଶୁଣା। ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ।
ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ ।
ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର‌୍ୟ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି ।
ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନଙ୍କର ପର୍ବ ରୂପେ ବିବେଚନା କରାଯାଏ । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି ।
ପୁରାଣରେ କଥିତ ଅଛି ଯେ ତୁଳସୀ ଦେବୀ ଜଣେ ପରମ ପତିବ୍ରତା ନାରୀ ଥିଲେ । ତାଙ୍କର ପତିବ୍ରତା ଗୁଣ ଯୋଗୁଁ ହିଁ ତାଙ୍କୁ ବୃକ୍ଷ ରୂପରେ ପୂଜା ପାଇବାର ବର ମିଳିଥିଲା । ଯୁଗେ ଯୁଗେ କୁମାରୀମାନେ ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଚଉରା ପୂଜା କରି ଆସିଛନ୍ତି । ତେଣୁ କୁମାର ପୂର୍ଣ୍ଣିମାରେ ମଧ୍ୟ ଚଉରା ପୂଜା କରାଯାଇଥାଏ ।
ଏହି ଦିନ ଘରର କୁମାରୀମାନେ ଭୋର୍ରୁ ଉଠି ସ୍ନାନାଦି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ଏହାପରେ ସେମାନେ ଆଞ୍ଜୁଳାରେ ସାତ ପ୍ରକାରର ଫଳ ନେଇ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥାନ୍ତି ।
ଏହି ବିଧିକୁ ଆଞ୍ଜୁଳା ଟେକା ବିଧି କୁହାଯାଏ । ତେବେ ଓଡ଼ିଶାର କେତେକ ଅଞ୍ଚଳରେ ଏହି ଆଞ୍ଜୁଳା ଟେକା ବିଧି ପାଳନ କରାଯାଏ ନାହିଁ । ଏହି ପର୍ବରେ କୁମାରୀମାନେ ଦିନସାରା ଉପବାସ କରିଥାନ୍ତି ।
ଏହିଦିନ କୁମାରୀ ତଥା ବିବାହିତା ମହିଳାମାନେ ପାଦରେ ଅଳତା ଲଗାଇଥାନ୍ତି । ଅଳତା ହେଉଛି ଓଡ଼ିଆ ପରମ୍ପରାରେ ଅହିସୁଲକ୍ଷଣୀ ହେବାର ପ୍ରତୀକ ।
ପ୍ରତ୍ୟେକ ପୂଜା ପର୍ବରେ ଓଡ଼ିଆ ଘରର ନାରୀମାନେ ଅଳତା ଲଗାଇ ନିଜ ଜୀବନସାଥୀର ଦୀର୍ଘ ଜୀବନ କାମନା କରିଥାନ୍ତି । ସନ୍ଧ୍ୟା ସମୟରେ କୁମାରୀମାନେ ପୁଣି ନୂତନ ବସ୍ତ୍ର ପରିଧାନ କରି ଚନ୍ଦ୍ର ଓ ଚଉରାଙ୍କୁ ପୂଜା କରିଥାନ୍ତି ।
କୁମାର ପୂର୍ଣ୍ଣିମାର କିଛିଦିନ ପୂର୍ବରୁ ଚଉରାକୁ ଭଲ ଭାବରେ ସଫା କରି ରଙ୍ଗ କରାଯାଇଥାଏ । କୁମାର ପୂର୍ଣ୍ଣିମା ଦିନ ସନ୍ଧ୍ୟାରେ ଚଉରା ଆଗରେ ମୁରୁଜରେ ବିଭିନ୍ନ ପ୍ରକାର ଚିତ୍ର କରାଯାଇଥାଏ ଓ ଚଉରାକୁ ଫୁଲ ଓ ସିନ୍ଦୁରରେ ସଜାଯାଇଥାଏ । ଚଉରାକୁ ସଜାଇବାରେ ମୁଖ୍ୟତଃ କଇଁ ଫୁଲ ବ୍ୟବହାର କରାଯାଇଥାଏ ।
ଚନ୍ଦ୍ର ଉଦୟ ହେଲେ କଇଁ ଫୁଟିଥାଏ । ଏହି ପର୍ବରେ ଚନ୍ଦ୍ରଙ୍କ ପୂଜା କରାଯାଉଥିବାରୁ ଏଥିରେ କଇଁ ଫୁଲ ବିଶେଷ ଭାବରେ ବ୍ୟବହୃତ ହୋଇଥାଏ । ଏହି ଦିନ ତୁଳସୀ ଗଛରେ ନାଲି ଶଙ୍ଖା ଓ ସାଲୁ କନା ସହ ନୂଆ ବସ୍ତ୍ରଟିଏ ମଧ୍ୟ ଦିଆଯାଇଥାଏ । ଚଉରା ଆଗରେ ପିଢ଼ାରେ ଗୁଆ ରଖି ତା\’ ଉପରେ ଦୁବ ଘାସ, ଫୁଲ, ବରକୋଳି ପତ୍ର ଦେଇ ସଜାଯାଇଥାଏ । ଚଉରା ପାଖରେ ସ୍ଥାପନ କରାଯାଇଥିବା କଳସରେ ମଧ୍ୟ ଆମ୍ବଡାଳ, ଗୁଆ, ସିନ୍ଦୁର, ଚନ୍ଦନ ଇତ୍ୟାଦି ଦେଇ ଅନୁରୂପ ଭାବେ ସଜାଯାଇଥାଏ । ଭୋଗ ପାଇଁ ଖଇ, ନଡ଼ିଆ, କଦଳୀ, ଛେନା, ଦହି, କ୍ଷୀର, କାକୁଡ଼ି, ତାଳସଜ, ମହୁ, ଅଦା, ଘିଅ, ଆଖୁ, ଗଜା ମୁଗ, ସେଓ, ଚିନି ଇତ୍ୟାଦି ପଡ଼ି ଏକ ଚକଟା ପ୍ରସ୍ତୁତ କରାଯାଇଥାଏ । ଏହି ଚକଟାକୁ ଚାନ୍ଦ ଚକଟା କୁହାଯାଏ । ଏହି ପର୍ବରେ ତିଆରି କରାଯାଉଥିବା ମଣ୍ଡା ପିଠା ଓଡ଼ିଶାର ମୁଖ୍ୟ ଆକର୍ଷଣମାନଙ୍କ ମଧ୍ୟରୁ ଅନ୍ୟତମ । ପୂଜା ସମୟରେ ଚାନ୍ଦ ଚକଟା ଓ ମଣ୍ଡା ପିଠା ଭୋଗ ଏବଂ ଚନ୍ଦ୍ରଙ୍କୁ ଅର୍ପଣ କରି ସେମାନଙ୍କୁ ଶଙ୍ଖ ଓ ହୁଳହୁଳି ସହ ଦୀପରେ ବନ୍ଦାଇ ଦିଆଯାଏ । ଯେଉଁ ଘରେ କୌଣସି କୁମାରୀ କନ୍ୟା ନଥାନ୍ତି, ସେ ଘରେ ବିବାହିତା ସ୍ତ୍ରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି କାମନା କରି ଚଉରା ଓ ଚନ୍ଦ୍ର ପୂଜା କରିଥାନ୍ତି । ପୂଜା ସରିଲା ପରେ ଭୋଗ ଖାଇ କୁମାରୀ କନ୍ୟାମାନେ ନିଜର ସାରା ଦିନର ଉପବାସ ଭାଙ୍ଗିଥାନ୍ତି ।
ଗାଁ ଗହଳିର ଝିଅମାନେଗୀତ ଗାଇ ପୁଚି ଖେଳିଥାନ୍ତି । ପୁଅମାନେ ପଶା ଓ ତାସ୍ ଖେଳି ମନୋରଞ୍ଜନ କରିଥାନ୍ତି । କେତେକ ଅଞ୍ଚଳରେ ଏହି ଦିନ ଘରର ଜ୍ୱାଇଁମାନଙ୍କୁ ମଧ୍ୟ ବିଭିନ୍ନ ପ୍ରକାରର ଉପହାର ଦିଆଯାଇଥାଏ । ଭାଦ୍ରବ ପୂର୍ଣ୍ଣିମା ବା ଇନ୍ଦୁ ପୂର୍ଣ୍ଣିମାଠାରୁ କୁମାର ପୂର୍ଣ୍ଣିମା ପର‌୍ୟ୍ୟନ୍ତ କୁମାରୀ କନ୍ୟାମାନେ ଏକାଠି ହୋଇ ଜହ୍ନି ଓଷା କରନ୍ତି । ଏହି ଓଷାର ଉଦ୍ୟାପନ କୁମାର ପୂର୍ଣ୍ଣିମା ଦିନ ହୋଇଥାଏ ।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031