Indus Valley Times

ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ

 Breaking News

ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ

June 24
16:20 2023

ଭୁବନେଶ୍ବର,୨୪/୬: ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ।
ତାଙ୍କ ଘରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ଜବତ କରାଯାଇଥିଲା। ପ୍ରଶାନ୍ତ କୁମାର ରାଉତଙ୍କର ୫ କୋଟିରୁ ଅଧିକ ପରିମାଣର ହିସାବ ବହିର୍ଭୂତ ସଂପତ୍ତି ଅଛି। ନିଜ ଆୟଠାରୁ ପ୍ରଶାନ୍ତଙ୍କ ୫୦୦ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି। ଏନେଇ ଭିଜିଲାନ୍ସ ଏସ ପି ଏମ ରାଧାକ୍ରିଷ୍ଣନ୍ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗତକାଲି ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୯ଟି ଜାଗାରେ ଚଢ଼ଉ ବେଳେ ପ୍ରଶାନ୍ତଙ୍କ କାନନବିହାର ଏଚ୍ଆଇଜି-୧୧୫ରେ ଥିବା ଘରୁ ୨କୋଟି ୩ଲକ୍ଷ ୫୦୦ ଟଙ୍କା ଜବତ କରାଯାଇଥିଲା। ଚଢ଼ଉ ବେଳେ ପ୍ରଶାନ୍ତ ୬ଟି ସିଲ୍ ପେଟି ଓ ଗୋଟିଏ ଆଟାଚି ଭର୍ତ୍ତି ଟଙ୍କା ପଡ଼ୋଶୀଙ୍କ ଛାତ ଉପରକୁ ଫିଙ୍ଗି ଦେଇଥିଲେ। ପଡ଼ୋଶୀ ମଧ୍ୟ ଏହି ଟଙ୍କା ପେଟି ଘରକୁ ନେଇ ଯାଇଥିଲେ। ଭିଜିଲାନ୍ସ ଅଧିକାରୀମାନେ ପଡ଼ୋଶୀଙ୍କ ଘର ଭିତରେ ପଶି ଟଙ୍କା ଜବତ କରିଥିଲେ।
କୋଟି କୋଟି ଟଙ୍କା ଜବତ ହେବା ପ୍ରଚାର ହେବାପରେ ସ୍ଥାନୀୟ ବାସିନ୍ଦା ଦେଖିବା ଲାଗି ଘର ବାହାରକୁ ମଧ୍ୟ ଚାଲି ଆସିଥିଲେ। ଖାଲି ଭୁବନେଶ୍ବର ନୁହେଁ, ନବରଙ୍ଗପୁର ସରକାରୀ କ୍ବାର୍ଟର୍ସରୁ ଦୁଇଟି ପର୍ଯ୍ୟାୟରେ ୮୮ ଲକ୍ଷ ୯୩ ହଜାର ୩୦୦ ଟଙ୍କା ଜବତ କରାଯାଇଥିଲା।
ସେହିପରି ଚଢ଼ଉ ଜାରି ରହିଥିବା ବେଳେ ସନ୍ଧ୍ୟାରେ ଆଉ ୧୦ ଲକ୍ଷ ୩୭ ହଜାର ଟଙ୍କା ଭୁବନେଶ୍ବର କାନନବିହାର ଘରୁ ଜବତ କରାଯାଇଛି। ଏହି ଟଙ୍କାକୁ ସେ ବହି ରୢକ୍ ପଛପଟ କାନ୍ଥରେ ଲୁଚାଇ ରଖିଥିଲେ। ଏବେ ସୁଦ୍ଧା ୩କୋଟି ୨ ଲକ୍ଷ ୩୦ ହଜାର ୮୦୦ ଟଙ୍କା ଜବତ କରାଯାଇଛି। ଚଢ଼ଉ ଜାରି ରହିଥିବା ବେଳେ ନଗଦ ଟଙ୍କା ମିଳୁଥିବାରୁ ଭିଜିଲାନ୍ସ ଅଧିକାରୀମାନେ ମଧ୍ୟ ତାଜୁବ୍ ହୋଇଯାଇଥିଲେ।
ଶୁକ୍ରବାର ସକାଳେ ପ୍ରଶାନ୍ତଙ୍କର ନବରଙ୍ଗପୁରସ୍ଥିତ ସରକାରୀ ବାସଭବନ, ଭୁବନେଶ୍ବର କାନନବିହାର ଏଚଆଇଜି-୧୧୫ରେ ଥିବା ଦୁଇ ମହଲା କୋଠା, ନବରଙ୍ଗପୁରସ୍ଥିତ ଅଫିସ, ଭଦ୍ରକ ବହୁଦରଡ଼ାରେ ଥିବା ପୈତୃକ ଘର ସମେତ ୯ ଜାଗାରେ ଏକକାଳୀନ ଚଢ଼ଉ କରା ଯାଇଥିଲା।
ବେଆଇନ କାରବାର ପାଇଁ ବାଲିମାଫିଆ, ଖଣି ମାଫିଆ, ଜଙ୍ଗଲ ମାଫିଆ ଓ ଉନ୍ନୟନ କାମ ବାବଦରେ ଠିକାଦାରଙ୍କଠାରୁ ଟଙ୍କା ଠୁଳ କରିଥିବା କୁହାଯାଉଛି। କିନ୍ତୁ ତଦନ୍ତ ପରେ ହିଁ ସବୁ କିଛି ସ୍ପଷ୍ଟ ହେବ ବୋଲି ଭିଜିଲାନ୍ସ ଅଧିକାରୀ ସୂଚନା ଦେଇଛନ୍ତି। ଚଢ଼ଉ ପାଇଁ ୯ଟି ଟିମ୍ ତିଆରି ହୋଇଥିଲା। ଦୁଇଜଣ ଅତିରିକ୍ତ ଏସ୍ପିଙ୍କ ନେତୃତ୍ବରେ ୭ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ସାମିଲ ହୋଇଥିଲେ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031