Indus Valley Times

ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ଯାଏଁ ଲାଗି ରହିବ ପ୍ରବଳ ବର୍ଷା

 Breaking News

ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ଯାଏଁ ଲାଗି ରହିବ ପ୍ରବଳ ବର୍ଷା

August 13
10:10 2022

ଭୁବନେଶ୍ୱର,୧୩/୮: ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ।
ଶନିବାର ୧୪ଟି ଜିଲ୍ଲାକୁ ଅରେଞ୍ଜ ଓ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରରେ ସୂଚନା ଅନୁସାରେ, ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, କନ୍ଧମାଳ ଓ କଳାହାଣ୍ଡି।
ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର।
ଏହି ସବୁ ଜିଲ୍ଲାର ପ୍ରବଳ ବର୍ଷା ହେବା ଯୋଗୁ କେତେକ ସ୍ଥାନରେ ଭୂସ୍ଖଳନ ହୋଇପାରେ। ଏହାସହ ତଳିଆ ଅଞ୍ଚଳରେ ପାଣି ଜମିବାର ମଧ୍ୟ ସମ୍ଭାବନା ରହିଛି। ତେବେ ମୂଷଳ ଧାରାରେ ବର୍ଷା ହେବାକୁ ଥିବାରୁ ଦୃଶ୍ୟମାନ ଦୂରତା ହ୍ରାସ ପାଇବ। ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେବା ଆଶଙ୍କା ରହିଛି। ଏହାସହ କେତେକ ସ୍ଥାନରେ ଟ୍ରାଫିକ ଜାମ୍ ଭଳି ପରିସ୍ଥିତି ଉପୁଜିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ମଧ୍ୟ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେବେ କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରାୟ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ।
ଏଥିଲାଗି ଏହିସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତାକାଲି ପାଇଁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ ଓ ବରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031